ପ୍ରମୂଖ ଖବର
  • ଗୁରୁବାର ଦୁଇଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ନିବେଶ ଟାଣିବାକୁ କରିବେ ରୋଡ ସୋ’
  • ||
  • ବଙ୍ଗୋପସାଗରେ ଘୂର୍ଣ୍ଣିବଳୟ ସକ୍ରିୟ, ଆଜି ନେଇପାରେ ଲଘୁଚାପ ରୂପ: ୧୮ରୁ ୨୦ମଧ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା
  • ||

ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ରାଧାଦାମୋଦର ବେଶ

ପୁରୀ, ୧୪/୧୦ : ସୋମବାର ଠାରୁ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ରାଧାଦାମୋଦର ବେଶ। ପ୍ରତ୍ୟେକ ବର୍ଷ ଆଶ୍ଵିନ ଶୁକ୍ଳ ଏକାଦଶୀ ଠାରୁ କାର୍ତ୍ତିକ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ଦୀର୍ଘ ଏକମାସ ଧରି ପ୍ରତ୍ୟହ ଏହି ବେଶ ଅନୁଷ୍ଠିତ ହୋଇଥାଏ। କାର୍ତ୍ତିକ ମାସରେ ବିଷ୍ଣୁଙ୍କର ନାମ ଦାମୋଦର ହୋଇଥିବାରୁ ବେଶର ନାମ ଏପରି ନାମକରଣ କରାଯାଇଛି। ଏହି ବେଶ ଅତ୍ୟନ୍ତ ସୁନ୍ଦର ଓ ଆକର୍ଷଣୀୟ। ଏହି ବେଶରେ ମହାପ୍ରଭୁଙ୍କୁ ଏକ ବିଶେଷ ଭୋଗ ଲାଗିଥାଏ ଯାହା ବାଳଧୂପ ନାମରେ ପରିଚିତ। ସକାଳଧୂପ ପରେ ବାଳଧୂପ ନୀତିରେ ସାଧାରଣତଃ କୋରା, ଦୋଭଜା, ଲିଆ, ଅଦା,ଖଇ, ନଡିଆ, ଖୁଦ, ଚାଉଳିଆ, ସେଓ, କମଳା, କଦଳୀ, କାକୁଡ଼ି , ପଇଡ଼ ଆଦି ଭୋଗ ହୋଇଥାଏ। 

ଶ୍ରୀମନ୍ଦିର ସ୍ୱତ୍ୱବଲିପି ଅନୁଯାୟୀ ଶ୍ରୀମନ୍ଦିରରେ କାର୍ତ୍ତିକ ମାସରେ ରାତ୍ର ଦୁଇଘଡ଼ି ଥାଇ ମଙ୍ଗଳ ଆଳତି ଓ ଅବକାଶ ନୀତି ଶେଷ ହେବା ପରେ ଶ୍ରୀବିଗ୍ରହମାନଙ୍କର ରାଧା ଦାମୋଦର ବେଶ ଅନୁଷ୍ଠିତ ହୋଇଥାଏ । ଠାକୁରମାନେ ଏହି ବେଶରେ ବାଳଭୋଗ ପର୍ଯ୍ୟନ୍ତ ରୁହନ୍ତି । ଏହି ବେଶରେ ଥାଇ ଶ୍ରୀଜୀଉଙ୍କର ରୋଷ ହୋମ, ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା, ଗୋପାଳ ବଲ୍ଲଭ ଭୋଗ, ସକାଳ ଧୂପ ଓ ବାଳ ଭୋଗ ହୋଇଥାଏ । ବାଳଭୋଗ ଛେକ ଆସିବା ପରେ ମୁଦିରସ୍ତ ସେବକ ଶ୍ରୀଅଙ୍ଗରେ ପ୍ରସାଦ ଲାଗି କରନ୍ତି ଓ ବାଳ ଭୋଗ ସରିବା ପରେ ତିନି ବାଡ଼ରେ ବନ୍ଦାପନା ହୋଇ, ବେଶ ଓଲାଗି ହୋଇଥାଏ । ଏହି ବେଶରେ ଫୁଲ ନିର୍ମିତ ଗୁଣା, ଚିତା ଓ ଅଧରମାଳା ଓ ବିଭିନ୍ନ ପ୍ରକାର ସୁବର୍ଣ୍ଣ ଅଳଙ୍କାର ଠାକୁରମାନଙ୍କୁ ଲାଗି କରାଯାଇଥାଏ । ଏହି ବେଶରେ ଶ୍ରୀଜଗନ୍ନାଥ ଓ ଶ୍ରୀବଳଭଦ୍ର ତ୍ରିକଚ୍ଛ ପରିଧାନ କରିଥାନ୍ତି । ଦୁଇ ହସ୍ତରେ ସୁବର୍ଣ୍ଣ ନଳୀଭୁଜ (ନଳୀଭୂଜରେ ଆୟୁଧର ଚିତ୍ର ଥାଏ), ତ୍ରିମୁଣ୍ଡିରେ ବାଉଁଶ ପାତିଆ ଓ କନାରେ ନିର୍ମିତ ଚୂଳ, ଚୂଳର ଅଗ୍ରଭାଗରେ ରୂପା ଚନ୍ଦ୍ରିକା, କର୍ଣ୍ଣଦେଶରେ କୁଣ୍ଡଳ, କଟିଦେଶରେ ଓଡ଼ିଆଣୀ କମରପଟି, କଣ୍ଠରେ ସୁବର୍ଣ୍ଣ ଘାଗଡ଼ା ମାଳି, କପାଳରେ ତିଳକ, ଚନ୍ଦ୍ର, ସୂର୍ଯ୍ୟ ଏବଂ ରାମାନନ୍ଦୀ ଚିତା ଇତ୍ୟାଦି ସୁବର୍ଣ୍ଣ ଅଳଙ୍କାରରେ ଶ୍ରୀଜୀଉମାନେ ଭୂଷିତ ହୋଇଥାନ୍ତି । ମସ୍ତକରେ ଡଡ଼ଗି ସହିତ ବିଭିନ୍ନ ପ୍ରକାର ପୁଷ୍ପ ଅଳଙ୍କାର, ସୁବର୍ଣ୍ଣ ଅଳଙ୍କାର ସହ ପାଟଶାଢ଼ୀ, ଫୁଟା, ଶିରୀ କପଡ଼ା, ପହରଣ, ବଳା, ଅଧରବଳା ଓ ଉତ୍ତରୀୟ ବସ୍ତ୍ର ଲାଗି ହୁଏ । ଏହି ବେଶରେ ବିଭିନ୍ନ ବାରରେ ବିଭିନ୍ନ ରଙ୍ଗର ପାଟବସ୍ତ୍ର ଜୀଉମାନେ ଲାଗି ହୁଅନ୍ତି । ରବିବାର ନାଲି, ସୋମବାର ଧଳାରେ କଳାଛିଟ, ମଙ୍ଗଳବାର ବାରପାଟିଆ, ବୁଧବାର ନୀଳ, ଗୁରୁବାର ହଳଦିଆ, ଶୁକ୍ରବାର ଶୁକ୍ଳ ଓ ଶନିବାର କଳାରଙ୍ଗ ପାଟବସ୍ତ୍ର ଲାଗି ହୁଅନ୍ତି । ଶ୍ରୀଜଗନ୍ନାଥ ସଂସ୍କୃତିର ଆଦିପୀଠ କଣ୍ଟିଲୋସ୍ଥ ଶ୍ରୀନୀଳମାଧବଙ୍କର ମଧ୍ୟ ଏକମାସ ଏହି ବେଶ ହୋଇଥାଏ ।

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.