ଭୁବନେଶ୍ୱର, ୨୮/୦୬: ଆଜି ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ବାଲାଂଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ଲଘୁଚାପ ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳ ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି । ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି । ଶନିବାର ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଓ କେନ୍ଦୁଝରରେ ଭାରି ବର୍ଷା ହୋଇପାରେ । ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ମଧ୍ୟ ବର୍ଷା ସମ୍ଭାବନା ଅଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ପ୍ରବଳ ବର୍ଷା ହୋଇପାରେ ।
୨୯ ତାରିଖରେ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୩୦ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର ଓ ଯାଜପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏହି ୩ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ସମ୍ବଲପୁର ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ଅଛି
୧ ତାରିଖରେ ନୟାଗଡ଼, କନ୍ଧମାଳ ଓ କଳାହାଣ୍ଡିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । କୋରାପୁଟ, ନବରଙ୍ଗପୁର, ବଲାଙ୍ଗୀର, ସୋନପୁର, ବୌଦ୍ଧ, କଟକ, ଖୋର୍ଦ୍ଧା, ଗଜପତି, ଗଞ୍ଜାମ, ନୂଆପଡ଼ା, ରାୟଗଡ଼ା ଓ ପୁରୀରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୨ ତାରିଖରେ ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର ଓ ବରଗଡ଼ରେ ପ୍ରବଳ ବର୍ଷା ହୋଇପାରେ । ୩ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ସମ୍ଭାବନା ଅଛି ।
ଶୁକ୍ରବାର ଭଦ୍ରକରେ ୧୭.୨ମିମି ବର୍ଷା ହୋଇଛି । ଭବାନୀପାଟଣାରେ ୧୩.୨, ଦାରିଙ୍ଗିବାଡ଼ିରେ ୧୨, ଚାନ୍ଦବାଲିରେ ୮.୯, ଯାଜପୁରରେ ୮ମିମି ବର୍ଷା ହୋଇଛି । ଗୁରୁବାରରୁ ଶୁକ୍ରବାର ଭିତରେ ଭିତରେ ଜଗତ୍ସିଂହପୁରରେ ନିର୍ଧୁମ ବର୍ଷା ହୋଇଛି । ବାଲିକୁଦାରେ ସର୍ବାଧିକ ୧୪୫ ମିମି ବର୍ଷା ହୋଇଛି । ଗୁରୁବାରରୁ ଶୁକ୍ରବାର ଭିତରେ ପୁରୀ କାକଟପୁରରେ ୧୦୯ମିମି, ଖୋର୍ଦ୍ଧା ବୋଲଗଡ଼ରେ ୧୦୨ମିମି, ମୟୂରଭଞ୍ଜ ବେତନଟୀରେ ୮୫ମିମି, ନୟାଗଡ଼ରେ ୭୭, ନିମାପଡ଼ାରେ ୬୯.୬, କେନ୍ଦ୍ରାପଡ଼ା ରାଜନଗରରେ ୬୬, କଟକ ବାଙ୍କୀରେ ୬୫, କେନ୍ଦ୍ରାପଡ଼ା ମହାକାଳପଡ଼ାରେ ୬୦, ବୌଦ୍ଧ କଣ୍ଟାମାଳରେ ୫୯.୨ ଓ କଟକରେ ୫୮.୪ମିମି ବର୍ଷା ରେକର୍ଡ ହୋଇଛି ।