ଭୁବନେଶ୍ୱର,୧୪/୦୪: କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି । ସୋମବାର ୭ ଜିଲ୍ଲାରେ ଝଡ଼ ବର୍ଷା ସମ୍ଭାବନା ଅଛି । କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର ଓ ଭଦ୍ରକରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୪୦ରୁ ୫୦ କିମି ବେଗରେ ପବନ ବି ବହିବ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । ଏସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ସୋମବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କଟକ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଘଡ଼ଘଡ଼ି ଓ ବର୍ଷା ସହିତ ୩୦ରୁ ୪୦ କିମି ବେଗରେ ପବନ ବହିପାରେ । ୧୫ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି । ୪୦ରୁ ୫୦କିମି ବେଗରେ ପବନ ବି ବହିବ । କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱରରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସତର୍କ କରିଛି ।
୧୬ରେ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ଅଛି । ୧୭ ତାରିଖରେ ବି କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ହୋଇପାରେ । ୧୮ ଓ ୧୯ ତାରିଖରେ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।
ରବିବାର ଗଞ୍ଜାମରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ହୋଇଛି । ୫୦ରୁ ୬୦ କିମି ବେଗରେ ପବନ ବି ବହିଛି। କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା, କନ୍ଧମାଳ ଓ ମୟୂରଭଞ୍ଜରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇଛି । ଦାରିଙ୍ଗିବାଡ଼ିରେ ୨୦ ମିମି ଓ ରାୟଗଡ଼ାରେ ୪.୨ ମିମି ବର୍ଷା ହୋଇଥିବା ଜଣାପଡ଼ିଛି ।